ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର: ଗତ କିଛି ଦିନ ହେବ ରାଜ୍ୟରେ ଅସମ୍ଭାଳ ତାତି ଅନୁଭବ ହେଉଛି । ଦିନ ୧୦ ଟା ପରେ ଘରୁ ବାହାରିବା ଏକ ପ୍ରକାର ଅସମ୍ଭବ ହୋଇଯାଉଥିଲା । ତେବେ ଅସହ୍ୟ ଗରମରୁ ସାମାନ୍ୟ ଆଶ୍ଵସ୍ତୀ ମିଳିବାକୁ ଯାଉଛି । କାରଣ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସହିତ କାଳବୈଶାଖୀର ସମ୍ଭାବନା ରହିଛି । ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନ ଠାରୁ ୪ ତାରଖ ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ କିଛି ଜିଲ୍ଲାରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ନେଇ ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହି କାଳବୈଶାଖୀ ସହ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଥିବାରୁ ଏହି ୫ଟି ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।