ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ୱର: ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରର ଏକ ମାଛ ଫାର୍ମରେ ବିଦ୍ୟୁତ୍ ଦୁର୍ଘଟଣାରେ ଗୁଣୁପୁରର ଛଅ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।
ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲ୍ଲା ଲଙ୍କାଭାନିଦିବା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଗତକାଲି ବିଳମ୍ବିତ ରାତିରେ ଅଘଟଣ ଘଟିଥିଲା। ଯେଉଁଥିରେ ବିଦ୍ୟୁତ୍ ସଟସର୍କିଟ୍ ଯୋଗୁ ଅଗ୍ନିକାଣ୍ଡରେ ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୁଣପୁର ବ୍ଲକ୍ ଭୀମପୁର ପଞ୍ଚାୟତ ଝୁମ୍ପାପୁର ଗ୍ରାମର ରାମମୂର୍ତ୍ତି ଗମାଙ୍ଗ, ଫୁଲପୁଟି ଗ୍ରାମର ପାଣ୍ଡବ ଶବର, ମୋହନ ଶବର, କରୁଣାକର ଶବର, ଗୁଣପୁର ପୌର ପରିଷଦ ମୋତିଲାଲ ନଗରର ନବୀନ ଶବର ଓ ଗଜପତି ଜିରାଙ୍ଗର ମହେନ୍ଦ୍ର ଶବର। ଏହାସହ ମୃତକଙ୍କ ମଧ୍ୟରେ ୪ ଜଣ ନାବାଳକ ଥିବା ଜଣା ପଡିଛି। ଗୁଣ୍ଟୁର ପୁଲିସ୍ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଗୁଣ୍ଟୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପଠାଇଛି ।