ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀର ଜିଲ୍ଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଜିଲ୍ଲାର ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗୀର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ଟିଟିଲାଗଡରେ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ସରୋଜିନୀ ବହିଦାରଙ୍କୁ ସ୍ମାର୍ଟ ହେଲ୍ଥ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ମୁଖ୍ୟମନ୍ତ୍ରୀ ପ୍ରଥମେ ଟିଟିଲାଗଡ ଗସ୍ତ କରି ସେଠାରେ ଅନେକ ନୂଆ ପ୍ରକଳ୍ପ ଆରମ୍ଭ କରିଥିଲେ । ଟିଟିଲାଗଡ-ସଇଁତଳା ବ୍ଲକ୍ରେ ସଂପୂର୍ଣ୍ଣ ହୋଇଥିବା ପାଇପ ପାଣି ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ଟିଟିଲାଗଡ ଟାଉନ୍କୁ ସବୁ ଘରକୁ ପାଇପ ପାଣି ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଥିଲେ ।
ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୨୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ୫୯୭ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ ପାଟଣାଗଡ ଗସ୍ତ ରେ ଆସି ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖିଥିଲେ ।
ଶେଷରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଜିଲ୍ଲା ଗସ୍ତ କରି ସେଠାରେ ମଧ୍ୟ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ଓ ସ୍ବାସ୍ଥ୍ୟ ହେଉଛି ଆମ ସବୁ ବିକାଶର ମୂଳଦୂଆ । ସେଥିପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ଦୁଇଟି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ବ ଆରୋପ କରୁଛନ୍ତି । ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀ ଲୋକଙ୍କ ସହଯୋଗ କାମନା କରି ଏହାଦ୍ବାରା ବିକାଶ ଓ ସେବା ପାଇଁ ତାଙ୍କର ସଂକଳ୍ପ ଆହୁରି ମଜବୁତ ହେବ ବୋଲି ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟଗଣ ଶ୍ରୀ ବିକ୍ରମ କେଶରୀ ଆରୁଖ, ଶ୍ରୀ ନିରଞ୍ଚନ ପୂଜାରୀ, ଶ୍ରୀ ପଦ୍ମନାଭ ବେହେରା, ଶ୍ରୀ ସୁଶାନ୍ତ ସିଂ, ଶ୍ରୀ ନବ ଦାସ, ଶ୍ରୀ ମତୀ ଟୁକୁନି ସାହୁ ଶ୍ରୀ ଦିବ୍ୟଶଙ୍କର ମିଶ୍ର, ସାସଦ ଶ୍ରୀମତୀ ସଙ୍ଗୀତା ସିହଦେଓ ବିଧାୟକ ଶ୍ରୀ ନରସିଂହ ମିଶ୍ର, ବିଧାୟକ ଶ୍ରୀ ସରୋଜ ମେହେର, ଶ୍ରୀ ସନ୍ତୋଷ ସିଂ ସାଲୁଜା,ଶ୍ରୀ ମୁକେଶ ମହାଲିଙ୍ଗ ଓଟିଡିସିର ଅଧ୍ୟକ୍ଷା ଶ୍ରମତୀ ଶ୍ରୀମୟୀ ମିଶ୍ର, ଏବଂ ଅନେକ ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇଥିଲେ ।