ସନଷ୍ଟାର ଟିଭି ବ୍ୟୁରୋ
ପୁରୀ:ଆଜି ହେଉଛି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ । ତେବେ ମଧ୍ୟାହ୍ନ ଧୂପ ପରେ ଏହି ବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କରିଥିଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୌଣସି ଉପାୟ ନପାଇ ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଗଜ ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି ।
ଗଜ ଉଦ୍ଧାରଣ ବେଶର ବିଶେଷତ୍ୱ ହେଲା ଏହି ବେଶରେ ଶ୍ରୀ ଜଗନ୍ନାଥ ମହାପ୍ରଭୁ ଓ ଶ୍ରୀ ବଳଭଦ୍ର ଚତୁଃହସ୍ତ ରୂପେ ଓ ସୁଭଦ୍ରା ଦ୍ୱିଭୁଜ ବିଶିଷ୍ଟା ହୁଅନ୍ତି । ଚତୁଃହସ୍ତଧାରୀ ଶ୍ରୀ ଜଗନ୍ନାଥ ଗରୁଡ଼ ଉପରେ ବସିଥିବା ପ୍ରଦର୍ଶିତ ହୋଇଥାଏ । ଉଡ୍ଡୟନରତ ଭଙ୍ଗୀରେ ଥିବା ଦୁଇଟି ପକ୍ଷ ବିଶିଷ୍ଟ ଗରୁଡ଼ ମୁଖ୍ୟତଃ କାଠ, ଶୋଲ ଏବଂ ଜରିରେ ନିର୍ମିତ ହୋଇଥାଏ। ପକ୍ଷ ବିସ୍ତାରି ଉଡୁଥିବା ଗରୁଡ଼ ପୃଷ୍ଠରେ ଜଗନ୍ନାଥ ପଦ୍ମାସନ ଭଙ୍ଗୀରେ ବସିଥାନ୍ତି ଶ୍ରୀ ଜଗନ୍ନାଥଙ୍କ ଚାରିହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭାପାଇଥାଏ । ପଦ୍ମାସନ ଭଙ୍ଗୀରେ ଗୋଟିଏ ଆସ୍ଥାନରେ ବସିଥିବା ବଳଭଦ୍ର ତାଙ୍କର ଉର୍ଦ୍ଧ୍ୱ ଦୁଇ ହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ ଓ ଚକ୍ର ତଥା ନିମ୍ନ ଦୁଇ ହସ୍ତରେ ହଳ ଓ ମୂଷଳ ଧାରଣ କରିଥାନ୍ତି । ସୁଭଦ୍ରା ଦୁଇଭୁଜ ଓ ଦୁଇ ପଦଯୁକ୍ତା ହୋଇ କୃଷ୍ଣଙ୍କ ଭଳି ଛନ୍ଦାୟିତ ଭଙ୍ଗୀରେ ଛିଡ଼ା ହୋଇଥାନ୍ତି। ଦେବୀଙ୍କ ହସ୍ତଦ୍ୱୟ ମୁଷ୍ଟିବଦ୍ଧ ତଥା ତଳ ଉପର ହୋଇ ରହିଥାଏ ଏବଂ ସେ ପଦ୍ମ କଳିକାଟିଏ ଧରିଥାଆନ୍ତି ।ଏହି ବେଶରେ କାଠ ଓ ଶୋଲ ନିର୍ମିତ ଦୁଇଟି ହସ୍ତୀ ପ୍ରତିମୂର୍ତ୍ତି ବ୍ୟବହୃତ ହୋଇଥାଏ । ଗୋଟିଏ ହସ୍ତୀ ବଳଭଦ୍ରଙ୍କ ସମୀପରେ ରତ୍ନ ସିଂହାସନ ଆଗରେ ପୋଖରୀଆରେ ଏବଂ ଅନ୍ୟଟି ଶ୍ରୀ ଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ରଖାଯାଇଥାଏ । ଜଗନ୍ନାଥଙ୍କ ସମ୍ମୁଖରେ ଥିବା ଗଜଟି ଆର୍ତ୍ତ ହରଣ ପାଇଁ ଆକୁଳ ନିବେଦନ କରୁଥିବା ଭଙ୍ଗୀରେ ପ୍ରଦର୍ଶିତ ହୁଏ । ତା’ର ପାଦଗୁଡ଼ିକ ମଧ୍ୟରେ ଥାଏ ଆକ୍ରମଣରତ କୁମ୍ଭୀରର ପିତୁଳା ଏବଂ ହସ୍ତୀଟିର ଟେକି ହୋଇଥିବା ଶୁଣ୍ଢରେ ପ୍ରସ୍ଫୁଟିତ ପଦ୍ମଫୁଲ ଶୋଭା ପାଇଥାଏ ।
ଗଜଉଦ୍ଧାରଣ ବେଶରେ ତିନି ଠାକୁରଙ୍କ ମଥାରେ ଚୂଳ ଓ କିରୀଟ ସହ ସୁବର୍ଣ୍ଣ ନିର୍ମିତ ପଦ୍ମମାଳି, କଦମ୍ବମାଳି ପ୍ରଭୃତିରେ ଭୁଷିତ ହୋଇଥାନ୍ତି । ଏହାସହ କ୍ଷୀରି ଓ ଅମାଲୁ ସ୍ୱତନ୍ତ୍ର ଭୋଗ ରୂପେ ଅର୍ପିତ ହୋଇଥାଏ ।(ରିର୍ପୋଟ:ଶଙ୍କର ସରକାର)