ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହିତ ବିଭିନ୍ନ ଜନଜାତି ଭାଷାରେ ପ୍ରାଥମିକ ଶିକ୍ଷାର ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପିତ ହୋଇଛି। ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପଣ କରାଯାଇଛି। ଏହି ଅଭିଧାନ ସାନ୍ତାଳୀ ଭାଷାକୁ ଆହୁରି ସମୃଦ୍ଧ କରିବ ଏବଂ ସାନ୍ତାଳୀ ଭାଷା ଶିକ୍ଷା କରିବା ପାଇଁ ଅନ୍ୟ ମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବ।
ପ୍ରାଥମିକ ଶିକ୍ଷା ପାଇଁ ଅତିରିକ୍ତ ପାଠ୍ୟପୁସ୍ତକ ଛାତ୍ରଛାତ୍ରୀଙ୍କ ପାଇଁ ବିଶେଷ ଉପଯୋଗୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିପାଇଁ ନିଷ୍ଠାର ସହ କାମ କରିଥିବା ସାନ୍ତାଳୀ ଭାଷାବିତ୍, ଗବେଷକ ଏବଂ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। ବିଶିଷ୍ଟ ସାନ୍ତାଳୀ ଭାଷାବିତ୍ ଚୈତନ୍ୟ ପ୍ରସାଦ ମାଝୀ ଏହି ଶଦ୍ଦକୋଷକୁ ପ୍ରସ୍ତୁତ କରିଛନ୍ତି। ସାନ୍ତାଳୀ ଭାଷା ଆମ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସ୍ଥାନିତ ହୋଇଛି। ସାନ୍ତାଳୀ ସହିତ ଅନ୍ୟ ଜନଜାତି ଭାଷାରେ ଶଦ୍ଦକୋଷ ପ୍ରକାଶନ ପାଇଁ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି।
ବିଭାଗ ପକ୍ଷରୁ ଆଉ ୧୧ଟି ଜନଜାତି ଭାଷାରେ ପ୍ରାଥମିକ ଅତିରିକ୍ତ ପାଠ୍ୟପୁସ୍ତକ ପ୍ରସ୍ତୁତି ପାଇଁ କାର୍ଯ୍ୟ ଜାରି ରହିଛି। ଜନଜାତି ସାହିତ୍ୟ ଓ ସଂସ୍କୃତି ସଂପର୍କରେ ଆଗ୍ରହ ଓ ସଚେତନା ସୃଷ୍ଟି କରିବା ପାଇଁ ବିଭାଗ ପକ୍ଷରୁ ଏସବୁକୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଅନ୍ ଲାଇନରେ ଉପଲବ୍ଧ ହେବ। ବିଭିନ୍ନ ଜନଜାତି ଭାଷାରେ ସାର୍ଟିଫିକେଟ କୋର୍ସ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି। ଅନ୍ୟପଟେ ପ୍ରତି ଜିଲ୍ଲାରେ ଭାଷାଗତ ଗବେଷଣାଗାର ସ୍ଥାପନ କରାଯିବ। ଏହାଦ୍ବାରା ଜନଜାତି ଭାଷା ସାହିତ୍ୟ ଓ ସଂସ୍କୃତି ଉପରେ ଅଧିକ ଗବେଷଣା କରିବା ପାଇଁ ସୁଯୋଗ ସୃଷ୍ଟି ହେବ।