SunstarTV
ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ବିଶେଷ କରି ଦକ୍ଷିଣ ଓଡିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଅବପାତ ପ୍ରଭାବରେ ଆହୁରି ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ, ଆଜିଠୁ ୨୪ ତାରିଖ ଯାଏଁ ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ। ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ୪ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କିଛି ଜିଲ୍ଲାରେ ମୂଷଳଧାରାରେ ବର୍ଷା ହୋଇପାରେ। ବିଶେଷ କରି ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।
ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ, ଦେବଗଡ଼, ସମ୍ବଲପୁର, ବରଗଡ, ସୁନ୍ଦରଗଡ଼, ଝାରସୁଗୁଡ଼ା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଯାହା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହିପରି ୨୨ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ତାରିଖ ଯାଏଁ ବର୍ଷାର ପ୍ରକୋପ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।
ବର୍ଷା ଯୋଗୁ ବିଭିନ୍ନ ନଦୀ, ନାଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାସହିତ ପାହାଡ଼ିଆ ଅଂଚଳରେ ମାଟି ଅତଡ଼ା ଧସିବାର ଆଶଙ୍କା ଥିବାର ଯେକୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ କର୍ମଚାରୀଙ୍କୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି।