SunstarTV
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ଉତ୍ତର-ପୂର୍ବ ଦିଗରେ ଗତି କରିବ। ପରବର୍ତ୍ତୀ ସମୟରେ ଅଧିକ ଘନିଭୂତ ହୋଇ ୨୪ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେଇପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବାଲେଶ୍ବର, ବାରିପଦା, କେନ୍ଦୁଝର, କୋରାପୁଟ, ଦାରିଙ୍ଗବାଡି, ଭଦ୍ରକ, ରାୟଗଡା ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇଛି।
୨୪ ଓ ୨୫ ତାରିଖରେ ରାଜ୍ୟର କିଛି ଅଞ୍ଚଳରେ ହାଲୁକା ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଅବପାତ ଯୋଗୁଁ ୨୪ରେ ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସ୍ଥାନେ ସ୍ଥାନେ ୭ରୁ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।
ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ୭ରୁ ୧୧ସେଣ୍ଟିମିଟର ଯାଏଁ ବର୍ଷା ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହିତ ବର୍ଷା ଏବଂ କିଛି ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି ବେଗରେ ପବନ ବହିପାରେ। ସମୁଦ୍ର ଅଶାନ୍ତ ଯୋଗୁଁ ୨୩ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାପ୍ରତି ପବନର ବେଗ ୪୦ରୁ ୫୦କି.ମି ରହବ। ୨୪ତାରିଖ ସୁଦ୍ଧା ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦କି.ମିକୁ ବଢ଼ିବ। ସ୍ଥଳବିଶେଷରେ ଝଟକା ପବନର ବେଗ ୭୦କି.ମି ରହିବା ସମ୍ଭାବନା ରହିଛି। ୨୩ତାରିଖ ପୂର୍ବରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ମତ୍ସ୍ୟଜୀବୀ ଉପକୂଳକୁ ଫେରି ଆସିବାକୁ ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।