SunstarTV
ପୁଣି ଜାରି ରହିବ ବର୍ଷା । ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା । ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉପକୂଳ ବାଂଲାଦେଶ, ଗାଙ୍ଗୀୟ ପଶ୍ଚିମବଙ୍ଗ ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସମ୍ପୃକ୍ତ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ଦୁଇଦିନ ମଧ୍ୟରେ ଗାଙ୍ଗୀୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଆଡ଼କୁ ମୁହାଁଇବ। ଯାହା ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବାନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଜୁଲାଇ ୩୦ ତାରିଖ ପର୍ଯ୍ୟନ୍ତ ପାଣିପାଗ ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ବଙ୍ଗୋପସାଗର, ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ପାଗ ଖରାପ ରହିବ ବୋଲି ଆଇଏମଡି ସତର୍କ କରାଇଦେଇଛି। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଏହି ଅଞ୍ଚଳରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଯାଇଛି।
ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ, ସମ୍ପୃକ୍ତ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ; କିନ୍ତୁ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ନିର୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି।
ଏହାସହ ଆସନ୍ତା ୨୪ଘଣ୍ଟା ମଧ୍ୟରେ କନ୍ଧମାଳ, କଟକ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ନୟାଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ଯାହା ପାଇଁ ଏହି ଜିଲ୍ଲା ଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହା ସହ ପ୍ରବଳ ବର୍ଷା ଓ ବନ୍ୟା ଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାପାଳଙ୍କୁ ସେମାନଙ୍କ ପ୍ରସ୍ତୁତିର ସମୀକ୍ଷା କରି ଏହାର ପ୍ରଭାବକୁ ହ୍ରାସ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି।